ରାୟଗଡ଼ାରେ ଭର୍ଚୁଆଲ ମୋଡରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା: ରାୟଗଡ଼ାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭର୍ଚୁଆଲ ମୋଡରେ ହିତାଧିକାରୀଙ୍କୁ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏବେ ବିଜୁ ସ୍ମାର୍ଟ ହେଲ୍ଥ କାର୍ଡ ଯୋଜନାରେ ଯୋଡ଼ି ହେଲା ରାୟଗଡ଼ା ଜିଲ୍ଲା। ଜିଲ୍ଲାର ୨ ଲକ୍ଷ ୫୨ ହଜାର ୧୯୧ ପରିବାରର ୮ ଲକ୍ଷ ୩୪ ହଜାର ୫୭୦ ହିତାଧିକାରୀ ଏହି ଯୋଜନାରେ ସୁଫଳ ପାଇବେ। ଏହା ସହ ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ବିଜୁ ସ୍ମାର୍ଟ ହେଲ୍ଥ କାର୍ଡ ଜରିଆରେ ପରିବାରର ସବୁ ସଦସ୍ୟଙ୍କ ପାଇଁ ବର୍ଷକୁ ୫ ଲକ୍ଷ ଟଙ୍କା ଓ ମହିଳାଙ୍କ ପାଇଁ ବର୍ଷକୁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସହାୟତା ପ୍ରଦାନ କରାଯିବ। ରାୟଗଡ଼ା ଜିଲ୍ଲା ସଦର ମହକୁମାର ଜିସିଡି ପଡ଼ିଆରେ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଚିବାଳୟରୁ ଏହି ଯୋଜନାର ଶୁଭାରମ୍ଭ କରିବା ପରେ ରାୟଗଡ଼ାରେ ଉପସ୍ଥିତ ମନ୍ତ୍ରୀ ଓ ବିଧାୟକ ବିଭିନ୍ନ ହିତାଧିକାରୀଙ୍କୁ କାର୍ଡ ବଣ୍ଟନ କରିଥିଲେ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଜନଜାତି ଭାଇ ଭଉଣୀମାନଙ୍କର ଉଚ୍ଚ ପ୍ରଶଂସା କରି କହିଲେ ଯେ ସେମାନେ ସରକାରଙ୍କ ବିଭିନ୍ନ ଯୋଜନାର ସୁଯୋଗ ନେଇ ନିଜ ଜୀବନଧାରଣ ମାନରେ ପରିବର୍ତ୍ତନ ଆଣିପାରିଛନ୍ତି । ସେହିପରି ଜିଲ୍ଲାରେ ମା ମାନେ ୪୦୦୦ ମିସନ ଶକ୍ତି ଗ୍ରୁପରେ ସାମିଲ ହୋଇ ନିଜର ସାମାଜିକ ଓ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିପାରିଛନ୍ତି ଓ ନିଜକୁ ସକ୍ଷମ କରିପାରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଆଜି ରାୟଗଡ଼ା ପାଇଁ ମୁଖ୍ୟମନ୍ତ୍ରୀ ୮୭୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ରାୟଗଡାରେ ଜଳସେଚନର ସୁବିଧା ପାଇଁ ଦୁଇଟି ମେଗା ଲିଫ୍‌ଟ ପ୍ରକଳ୍ପ ଶେଷ ହୋଇଛି ଏବଂ ଏହାଦ୍ବାରା ଗୁଣୁପୁର ବ୍ଲକ୍‌ର ୧୦୦୦ ହେକ୍ଟର ଜମିକୁ ପାଣି ମିଳିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ରାୟଗଡ଼ାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ୮ ଲକ୍ଷ ୩୦ ହଜାରେ ଲୋକ ସ୍ମାର୍ଟ କାର୍ଡ ପାଇବେ ବୋଲି ପ୍ରକାଶ କରି ଏହାଦ୍ବାରା ସେମାନଙ୍କର ଏକ ବଡ଼ ସମସ୍ୟା ଦୂର ହୋଇପାରିବ ବୋଲି କହିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ଏହାଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। ସେମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡ଼ିଲେ ଚିକିତ୍ସା ପାଇଁ କିପରି ଜମିବାଡ଼ି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ଼ ବଡ଼ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ। ଚିକିତ୍ସା ସୁବିଧା ଏବେ ସମସ୍ତଙ୍କ ହାତ ପାଆନ୍ତାରେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାକୁ ସ୍ମାର୍ଟ ହେଲ୍‌ଥ କାର୍ଡ ସମ୍ଭବ କରିପାରିଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ। ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି । ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ, ମିସନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା, ସାଂସଦ ଭାସ୍କର ରାଓ, ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି ପ୍ରମୁଖ ଯୋଗଦେଇ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ରାଜ୍ୟର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏକ ରୂପାନ୍ତର ଆଣିବାରେ ସକ୍ଷମ ହୋଇଛି ବୋଲି କହିଥିଲେ। ବିକାଶ ତଥା କଲ୍ୟାଣ କ୍ଷେତ୍ରରେ ଓଡ଼ିଶାକୁ ଦେଶର ଏକ ମଡେଲ ରାଜ୍ୟ ଭାବରେ ମୁଖ୍ୟମନ୍ତ୍ରୀ ପ୍ରତିଷ୍ଠିତ କରିପାରିଛନ୍ତି ବୋଲି ସେମାନେ ମତବ୍ୟକ୍ତ କରିଥିଲେ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *