ରାଜ୍ୟ ସ୍ତରୀୟ ବିଶ୍ୱ ମହିଳା ଦିବସ ପାଳିତ, ଏକ କୋଟି ମା ‘ଙ୍କର ବିରାଟ ଆନ୍ଦୋଳନ ହେବାକୁ ଯାଉଛି ମିଶନ ଶକ୍ତି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୨୦୦୧ ମାର୍ଚ୍ଚ ୮ରେ ଲାଗିଥିବା ଗୋଟିଏ ଚାରା ଆଜି ଏକ ବିରାଟ ଗଛରେ ପରିଣତ ହୋଇଛି । ୮୦ ଲକ୍ଷ ମା ‘ମାନଙ୍କ ପାଇଁ ଆଶାର ବୃକ୍ଷ ହୋଇଯାଇଛି । ଏହି ଗଛର ପ୍ରତିଟି ପତ୍ରରେ ରହିଛି ଗୋଟିଏ ଗୋଟିଏ ସଫଳ କାହାଣୀ । ସେହି କାହାଣୀ ହେଉଛି ଆମର ମିଶନ ଶକ୍ତି। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନସିଙ୍ଗ ଜରିଆରେ ରାଜ୍ୟ ସ୍ତରୀୟ ବିଶ୍ୱ ମହିଳା ଦିବସ ପାଳନ ଅବସରରେ ଏହା କହିଛନ୍ତି ।

ମିଶନ ଶକ୍ତିର ଏ ସଫଳତା ଅଧିକରୁ ଅଧିକ ମା’ ମାନଙ୍କୁ ପ୍ରେରଣା ଦେବ ଏବଂ ମିଶନ ଶକ୍ତି ଖୁବ ଶୀଘ୍ର ଏକ କୋଟି ମହିଳାଙ୍କର ଏକ ବିରାଟ ଆନ୍ଦୋଳନ ରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ ଦୃଢୋକ୍ତି ପ୍ରକାଶ କରିଥିଲେ । ଓଡିଶାର ଘରେ ଘରେ ସଶକ୍ତ ଓଡିଶାର ବାର୍ତ୍ତା ଦେବ । ମିଶନ ଶକ୍ତି ସ୍ୱତନ୍ତ୍ର ବିଭାଗ ନିଷ୍ପତ୍ତି ବିଷୟ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାକୁ ମା ମାନେ ଖୁବ ସ୍ୱାଗତ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ, ମିଶନ ଶକ୍ତି ଆଜି ଏକ ବଡ ସାମାଜିକ ଓ ଅର୍ଥନୈତିକ ଆନ୍ଦୋଳନରେ ପରିଣତ ହୋଇଛି । ଗାଁ ଅର୍ଥନୀତି କୁ ଚଳ ଚଞ୍ଚଳ କରିପାରିଛି । ମିଶନ ଶକ୍ତି କେବଳ ଦେଶରେ ନୁହେଁ ସାରା ବିଶ୍ୱରେ ସବୁଠାରୁ ବଡ ଆନ୍ଦୋଳନରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ, କୋଭିଡର ଆହ୍ୱାନ ମୂଳକ ସମୟରେ ମା ମାନେ ହିଁ ସରକାରଙ୍କ ମୁଖ୍ୟ ସହଯୋଗୀ ହୋଇ କୋଭିଡ ମୁକାବିଲାରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିଲେ । ମିଶନ ଶକ୍ତି ର ମା ମାନଙ୍କ ଠାରୁ ଆରମ୍ଭ କରି ଅଙ୍ଗନବାଡି, ଆଶା କର୍ମୀ, ସ୍ୱାସ୍ଥ୍ୟ କର୍ମୀ ଆଦି ସବୁ ମା ମାନେ ସବୁଠାରୁ ବେଶୀ ଦାୟିତ୍ୱର ସହ କାମ କରିଛନ୍ତି । ପରିବାରକୁ ସଚେତନ ମଧ୍ୟ କରିଛନ୍ତି । ସେଥିପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ପକ୍ଷରୁ ସେମାନଙ୍କୁ ଧନ୍ୟବାଦ ଦେଇଥିଲେ । ଶ୍ରୀ ପଟ୍ଟନାୟକ କହିଥିଲେ ଯେ ରାଜ୍ୟ ସରକାର ସବୁବେଳେ ମିଶନ ଶକ୍ତିର ମା ମାନଙ୍କ ପାଇଁ ନିଷ୍ଠାର ସହ କାମ କରୁଛନ୍ତି । ସେମାନଙ୍କ ପାଇଁ ୫ ହଜାର କୋଟି ଟଙ୍କାର କାମ ଘୋଷଣା କରାଯାଇଛି ଏବଂ ସେମାନେ ଦକ୍ଷତାର ସହ କାମ କରି ସରକାରଙ୍କ ବିଶ୍ୱାସକୁ ବୃଦ୍ଧି କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ, ଯେଉଁ ଦେଶରେ ମା ମାନେ ଯେତେ ଆଗୁଆ ସେ ଦେଶ ସେତେ ଉନ୍ନତ । ମା ମାନଙ୍କ ସମୃଦ୍ଧି ଓ ଅଧିକାର ପାଇଁ ତାଙ୍କର ଉଦ୍ୟମ ଜାରି ରହିବ ବୋଲି ସେ କହିଥିଲେ । ଏହି କାର୍ଯ୍ୟକ୍ରମରେ ଲୋକସେବା ଭବନରେ ଉପସ୍ଥିତ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନୀ ସାହୁ କହିଲେ ଯେ ମହିଳା ମାନଙ୍କ ଅନ୍ତର୍ନିହିତ ଶକ୍ତି ଓ ଦକ୍ଷତା କୁ ଉପଯୋଗ କରି ବିକାଶକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁରଦୃଷ୍ଟି ଯୋଗୁଁ ଆଜି ଓଡିଶା ମହିଳା ବିକାଶ କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି କରିପାରିଛି । ମିଶନ ଶକ୍ତି ମାଙ୍କୁ ନୂଆ ପରିଚୟ ଦେଇଛି ବୋଲି ପ୍ରକାଶ କରି ଏଥିପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ସଚିବ ଅନୁ ଗର୍ଗ ସ୍ୱାଗତ ଭାଷଣ ଦେଇ କହିଥିଲେ ରାଜ୍ୟ ସରକାର ମହିଳା ମାନଙ୍କୁ ହିତାଧିକାରୀ ନୁହେଁ ବରଂ ବିକାଶର ସହ ଭାଗୀଦାର ବୋଲି ମନେ କରନ୍ତି । ମହିଳା ମାନଙ୍କ ବିକାଶ ପାଇଁ ରାଜ୍ୟ ସରକାର କେବଳ ଗୋଟିଏ ଦିନ ନୁହେଁ ବରଂ ପୁରା ୩୬୫ ଦିନ ସମର୍ପିତ ହୋଇ କାମ କରୁଛନ୍ତି ବୋଲି ସେ କହିଥିଲେ ।

ମିଶନ ଶକ୍ତିର କମିଶନର ତଥା ନିର୍ଦେଶିକା ସୁଜାତା କାର୍ତ୍ତିକେୟନ ଧନ୍ୟବାଦ ଅର୍ପଣ କରି କହିଥିଲେ, ୨୦୦୧ ରେ ମିସନ ଶକ୍ତି ଏକ ଯୋଜନା ହୋଇ ଆରମ୍ଭ ହୋଇଥିଲା, ଆଜି ଏହା ଏକ ସ୍ୱତନ୍ତ୍ର ବିଭାଗ ହୋଇଛି । ମୁଖ୍ୟମନ୍ତ୍ରୀ ମିଶନ ଶକ୍ତିର ମା ମାନଙ୍କ ପାଇଁ ଯେଉଁ ୫ ହଜାର କୋଟି ଟଙ୍କା ଘୋଷଣା କରିଥିଲେ ଆଜି ମା ମାନେ ୨୫୦୦ କୋଟି ଟଙ୍କାରୁ ଅଧିକ ଟଙ୍କାର ବ୍ୟବସାୟ ଆରମ୍ଭ କରି ସାରିଛନ୍ତି । ମା ମାନଙ୍କ ପାଇଁ ୩୨୦୦ କୋଟି ଟଙ୍କାର ଋଣ ଲକ୍ଷ୍ୟ ଥିଲାବେଳେ ବର୍ତ୍ତମାନ ସୁଧା ୪୦୦୦ କୋଟି ଟଙ୍କାରୁ ଅଧିକ ଋଣ ମିଳିପାରିଛି । କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗ ଓ ମିଶନ ଶକ୍ତିର କାର୍ଯ୍ୟକ୍ରମ ସମ୍ପର୍କରେ ଦୁଇଟି ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା । ଝାରସୁଗୁଡା , ଯାଜପୁର ଓ ଭୁବନେଶ୍ୱରରେ ତିନୋଟି କର୍ମଜୀବି ମହିଳା ହଷ୍ଟେଲ ଉଦଘାଟିତ ହୋଇଥିଲା ।

ହଷ୍ଟେଲ ପରିଚାଳନା, ସ୍ୱଧାର ଓ ଉଜ୍ଜ୍ୱଳ ଆଦି ଯୋଜନା ପାଇଁ ନୂଆ ପୋର୍ଟାଲ, ମିଶନ ଶକ୍ତି ୱେବସାଇଟ , ମୋବାଇଲ ଆପ ଓ ବ୍‌ଯାଙ୍କ ମାନଙ୍କ ଋଣ ପ୍ରଦାନ ସମ୍ପର୍କରେ ଏକ ସ୍ୱତନ୍ତ୍ର ପୋର୍ଟାଲ ଉନ୍ମୋଚିତ ହୋଇଥିଲା । ଡାଆଣି କୁପ୍ରଥାର ବିଲୋପ ପାଇଁ ଆଇଇସି ପ୍ୟାକେଜ ମଧ୍ୟ ଉନ୍ମୋଚିତ ହୋଇଥିଲା । ଏହି ଅବସରରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ଜିଲ୍ଲା , ସ୍ୱୟଂ ସହାୟକ ଗୋଷ୍ଠୀ, ଅଧିକାରୀ ଓ ବ୍ୟାଙ୍କମାନଙ୍କୁ ପୁରସ୍କାର ପ୍ରଦାନ କରଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ମିଶନ ଶକ୍ତିର ଉପଦେଷ୍ଟା, ରାଜ୍ୟ ମହିଳା କମିଶନ ର ଅଧ୍ୟକ୍ଷା, ରାଜ୍ୟ ଶିଶୁ ସୁରକ୍ଷା କମିଶନ ର ଅଧ୍ୟକ୍ଷା, ଓଡିଶା ଶିଶୁ କଲ୍ୟାଣ ପରିଷଦର ସଦସ୍ୟା ସଚିବ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ ଜେନା ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି କେ ପାଣ୍ଡିଆନ୍ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *